ସ୍କୁଲ ଛୁଟି ପରେ ନୂଆ ନିୟମ
ଭୁବନେଶ୍ବର: ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ଓ ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି)ଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି।
ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରିବାକୁ ନିୟମାବଳୀ ଦିଆଯାଇଛି। ଶତପ୍ରତିଶତ ପାଠ୍ୟଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ।
କିଭଳି ଭାବେ ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ। କରୋନା କାଳରେ କ୍ଷତିଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ। ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ। ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ।
Comments are closed.