ନବୀନଙ୍କ ବଡ ଘୋଷଣା

ଭୁବନେଶ୍ବର: ଗାଁ ଓ ପଞ୍ଚାୟତର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଲାଗି ରାଜ୍ୟ ସରକାରଙ୍କ ବହୁପ୍ରତୀକ୍ଷିତ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଆଜିଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଆରମ୍ଭ କରିଛନ୍ତି। ସାରା ରାଜ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ୩,୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୬୭୯୪ଟି ପଞ୍ଚାୟତ ଏଥିରେ ସାମିଲ ହେବେ। ଏହି ଯୋଜନାରେ ୯୦,୭୨୩ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ। ପ୍ରତି ପଞ୍ଚାୟତ ୫୦ ଲକ୍ଷ ଟଙ୍କା ଲେଖାଏଁ ପାଇବେ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡ଼ିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ଼ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ।

Comments are closed.