ରାଇମୋହନଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଓ ମଞ୍ଚର ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗରେ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି କହିଛନ୍ତି, ରାଇମୋହନ ପରିଡ଼ାଙ୍କ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡ଼ିଶାର ଲୋକପ୍ରିୟ କଳାକାର ତଥା ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଜଗତରେ ତାଙ୍କର ଜୀବନ୍ତ ଓ ବିରଳ ଅଭିନୟ ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା । ଓଡ଼ିଶା ସିନେ ଓ ଯାତ୍ରା ଜଗତରେ ତାଙ୍କ ଭଳି ଜଣେ ପ୍ରତିଭାବାନ ବ୍ୟକ୍ତିଙ୍କ ମୃତ୍ୟୁକୁ ବିଶ୍ୱାସ କରି ହେଉନାହିଁ । ଅଭିନୟ କ୍ଷେତ୍ରରେ ତାଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସ୍ୱତନ୍ତ୍ର ସ୍ଥାନ କେହି ନେଇପାରିବେ ନାହିଁ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Comments are closed.