ଏହି ଦିନଠୁ ପୁଣି କାଚିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ତେବେ ଅଗଷ୍ଟ ୫ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରି କି ତେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ରାଜ୍ୟରେ ମୌସୁମୀ ବର୍ଷା ସ୍ବାଭାବିକ ରହିଛି। ଜୁନ୍‌ ପହିଲାରୁ ଜୁଲାଇ ୨୮ ମଧ୍ୟରେ ରାଜ୍ୟରେ ୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ୫୧୫.୬ ପ୍ରତିଶତ ବର୍ଷା ହେବାକୁ ଥିବା ବେଳେ ହୋଇଛି ୪୯୮.୧ ପ୍ରତିଶତ। କେବଳ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାକୁ ଛାଡ଼ିଦେଲେ ଅନ୍ୟ ୨୮ଟି ଜିଲାରେ ବର୍ଷା ସ୍ବାଭାବିକ ହୋଇଛି।

Comments are closed.